News18 Odia Digital
ଭୁବନେଶ୍ୱର: ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଆଜିଠାରୁ ରାଜ୍ୟରେ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ଦୁଇ ଦିନ ଧରି ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏଥିଲାଗି ଆଜି ରାଜ୍ୟର ୮ ଜିଲ୍ଲାରେ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆଗାମୀ ୪୮ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ମଧ୍ୟରେ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବିସ୍ତୃତ ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବୈଜ୍ଞାନିକ ଉମାଶଙ୍କର ଦାଶ କହିଛନ୍ତି ଯେ ପୂର୍ବକେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ସହ ଜଡ଼ିତ ମେଘ ସମୂହ ଓଡିଶା ମୁହାଁ ହୋଇ ଗତି କରୁଛି। ପ୍ରଭାବରେ ୫ ଦିନ ଯାଏ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ୯ ତାରିଖ ସକାଳ ସୁଦ୍ଧା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।
ସେପ୍ଟେମ୍ବର ୯ରୁ ୧୨ ତାରିଖ ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ପୁରୀ, ଖୋର୍ଦ୍ଧା, ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଭୁସ୍ଖଳନ ସହ ସହ ତଳିଆ ଅଞ୍ଚଳରେ ପାଣି ଜମିବା, କଚ୍ଚା ରାସ୍ତା ଓ ଘର ଭାଙ୍ଗିବା ପରି ସମସ୍ୟା ଉପୁଜିପାରେ। ବର୍ଷା ଜଳ ନିଷ୍କାସନ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।