ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ୨ ଜଣଙ୍କୁ ଚାକିରିରୁ ବହିଷ୍କାର ଓ ଅନ୍ୟ ୨ ଜଣଙ୍କ ପେନ୍ସନ୍ ସ୍ଥାୟୀ ଭାବେ ସ୍ଥଗିତ କରାଯାଇଛି।
ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀ, ଯଥା - ଜଣେ ସୁପରିନ୍ଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଏକଜିକ୍ୟୁଟିଭ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଜୁନିଅର ଇଞ୍ଜିନିୟର, ଜଣେ ଓ.ଏ.ଏସ୍ ଅଧିକାରୀ, ଜଣେ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ ଓ ଜଣେ ସାମାଜିକ ଶିକ୍ଷା ଅଧିକାରୀ ଅନ୍ତର୍ଭୁକ୍ତ।
ପୂର୍ବରୁ ୧୬୪ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବା ବେଳେ, ଏହି ୯ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୭୩ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଚାକିରିରୁ ବହିଷ୍କୃତ ହୋଇଥିବା ୫ ଜଣ ଅଧିକାରୀଙ୍କ ମଧ୍ୟରେ ଅଛନ୍ତି ମାଲକାନଗିରିର ଗ୍ରାମ୍ୟ ଉନ୍ନୟନ ଡିଭିଜନ-୧ର ପୂର୍ବତନ ସୁପରିଟେଣ୍ଡିଂ ଇଞ୍ଜିନିୟର ଆଶିଷ କୁମାର ଦାଶ। କଣ୍ଟ୍ରାକ୍ଟର ମାନଙ୍କ ଠାରୁ ଅସତ୍ ଉପାୟରେ ୧୦.୨୩ ଲକ୍ଷ ଟଙ୍କା ନେଇ ଯାଉଥିବା ବେଳେ ସେ ଭିଜିଲାନ୍ସ ଦ୍ବାରା ଧରା ପଡ଼ିଥିଲେ। ବିଭିନ୍ନ ସ୍ଥାନରେ ଥିବା ତାଙ୍କ ଘର ଉପରେ ଚଢ଼ାଉ କଲା ପରେ ୮.୬୩ କୋଟି ଟଙ୍କାର ସମ୍ପତ୍ତି ଓ ୧.୪ କୋଟି ନଗଦ ଟଙ୍କା ଧରା ପଡ଼ିଥିଲା।
ସେହିପରି ଭଦ୍ରକ ଗ୍ରାମ୍ୟ ଉନ୍ନୟନ ଡିଭିଡନ-୧ର ପୂର୍ବତନ ଏକ୍ଜ୍ୟୁକିଟିଭ ଇଞ୍ଜିନିୟର ଶ୍ରୀ ମାନସ ରଞ୍ଜନ ମହାନ୍ତି। ଜଣେ କଣ୍ଟ୍ରାକ୍ଟରଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡ଼ିଥିଲେ। ଏହାସହିତ ତାଙ୍କ ପାଖରେ ୩.୯୦ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଥିଲା। ତାଙ୍କ ବିରୁଦ୍ଧରେ ଦୁଇଟି ବିଭାଗୀୟ ତଦନ୍ତ ମଧ୍ୟ ଚାଲିଥିଲା। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।
କଟକ ଗଣ୍ଡରପୁର ଡ୍ରେନେଜ୍ ଡିଭିଜନର ଏକ୍ଜିକ୍ୟୁଟିଭ ଇଞ୍ଜିନିୟର ମନୋଜ କୁମାର ବେହେରା ଓ ତାଙ୍କ ପତ୍ନୀଙ୍କ ନାମରେ ୪.୨୬ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ଆୟବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ ଭିଜିଲାନ୍ସ ମାମଲା ଚାଲିଥିଲା। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।ସେହିପରି କେନ୍ଦୁଝର ଜିଲ୍ଲା ସାଳପଡାସ୍ଥିତ ବୈତରଣୀ ଜଳସେଚନ ଡିଭିଜନର ଆସିଷ୍ଟାଣ୍ଟ ଇଞ୍ଜିନିୟର ଉମେଶ କୁମାର ଶାଶିନୀଙ୍କ ବିରୁଦ୍ଧରେ ୧.୪୨ କୋଟି ଟଙ୍କାରୁ ଅଧିକ ଟଙ୍କାର ଆୟବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ ଦୁର୍ନୀତି ମାମଲା ରହିଛି। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଉମରକୋଟ ସଡକ ଓ କୋଠାବାଡି (R&B Section)ର ଆସିଷ୍ଟାଣ୍ଟ ଇଞ୍ଜିନିୟର ବିଶୁଦ୍ଧାନନ୍ଦ ବେହେରାଙ୍କ ନାମରେ ନିମ୍ନମାନର କାମ କରିବାର ଅଭିଯୋଗ ଥିଲା। ଏହାସହିତ ତାଙ୍କ ନାମରେ ୭୦.୯୩ ଲକ୍ଷ ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲ ରହିଛି।
ଗଞ୍ଜାମ ଜିଲ୍ଲା ରୁରାଲ ୱାର୍କ୍ସ ଡିଭିଜନ-୨ର ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ପୂର୍ବତନ ଜୁନିଅର ଇଞ୍ଜିନିୟର ତ୍ରିନାଥ ସେଠୀ ୯ ହଜାର ଟଙ୍କା ଲାଞ୍ଚ ମାମଲାରେ ଦେଷୀ ସାବ୍ୟସ୍ତ ହୋଇଛନ୍ତି । ଅସାଧୁତା କାରଣରୁ ତାଙ୍କ ପେନ୍ସନ୍କୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୭୩ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ପେନ୍ସନକୁ ସ୍ଥାୟୀ ଭାବେ ସ୍ଥଗିତ ରଖାଯାଇଛି।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।