କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନକୁ ଅନୁମୋଦନ ଦେଲେ ନବୀନ

ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ନୀଳମାଧବ ପୀଠର ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଉପରେ ବିଚାର ବିମର୍ଷ ପରେ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଥିଲେ।

କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନକୁ ଅନୁମୋଦନ ଦେଲେ ନବୀନ

କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନକୁ ଅନୁମୋଦନ ଦେଲେ ନବୀନ

  • Share this:
News18 Odia Digital

ଭୁବନେଶ୍ବର: କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି। ଏଥି ନିମନ୍ତେ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଓ ୧୮ ମାସ ମଧ୍ୟରେ କାମ ଶେଷ ହେବ। ସମ୍ୱନ୍ୱିତ ଐତିହ୍ୟ ଓ କୀର୍ତ୍ତିରାଜି ବିକାଶ ଯୋଜନାରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ।

ପ୍ରକଳ୍ପର ସଫଳ କାର୍ଯ୍ୟକାରୀତା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥାନୀୟ ଜନସାଧାରଣ ଓ ସେବାୟତମାନଙ୍କ ସହଯୋଗ କାମନା କରିଛନ୍ତି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ନୀଳମାଧବ ପୀଠର ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଉପରେ ବିଚାର ବିମର୍ଷ ପରେ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଥିଲେ।

ଜଗନ୍ନାଥ ସଂସ୍କୃତି ସହ ନୀଳମାଧବ ପୀଠର ନିବିଡ ସମ୍ପର୍କ ରହିଛି। ବିଶ୍ବାସ କରାଯାଏ ଯେ ନୀଳମାଧବ ପୀଠ ବ୍ରହ୍ମାଦ୍ରୀ ପର୍ବତରେ ମହାପ୍ରଭୁ ନୀଳମଣି ଭାବରେ ଶବର ରାଜା ବିଶ୍ବାବସୁଙ୍କ ଦ୍ବାରା ପୂଜା ପାଉଥିଲେ। ମହାପ୍ରଭୁଙ୍କ ଏହି ଆଦିରୂପକୁ ଦର୍ଶନ କରିବା ପାଇଁ ପ୍ରତିଦିନ ହଜାର ହଜାର ଭକ୍ତ ନୀଳମାଧବ ପୀଠକୁ ଆସିଥାନ୍ତି। ବ୍ରହ୍ମାଦ୍ରୀ ପର୍ବତର ଉତ୍ତର ଦିଗରେ ମହାନଦୀର ଭୀମକାନ୍ତ ରୂପ ଅତ୍ୟନ୍ତ ରମଣୀୟ। ପର୍ଯ୍ୟଟକମାନଙ୍କ ପାଇଁ ମଧ୍ୟ ଏହି ସ୍ଥାନ ଅନ୍ୟତମ ପ୍ରମୁଖ ଆକର୍ଷଣ। ଏହି ପବିତ୍ର ପୀଠର ସୁବ୍ୟବସ୍ଥିତ ବିକାଶ ଦ୍ବାରା ଭକ୍ତ ଓ ପର୍ଯ୍ୟଟକ ସହିତ ସ୍ଥାନୀୟ ଅଞ୍ଚଳର ଅର୍ଥନୈତିକ ବିକାଶରେ ମଧ୍ୟ ସହାୟକ ହେବ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସତିବ ଭି.କେ. ପାଣ୍ଡିଆନ ଗତ ସପ୍ତାହରେ ନୀଳମାଧବ ପୀଠ ପରିଦର୍ଶନ କରି ବିକାଶ ଯୋଜନା ସମ୍ପର୍କରେ ସେବାୟତ ତଥା ସ୍ଥାନୀୟ ଜନସାଧାରଣଙ୍କ ଓ ଜିଲ୍ଲା ପ୍ରଶାସନ ସହ ବିସ୍ତୃତ ଆଲୋଚନା କରି ମାଷ୍ଟର ପ୍ଲାନ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ମାଷ୍ଟର ପ୍ଲାନରେ ମୁଖ୍ୟତଃ ମନ୍ଦିରର ପୁନରୁଦ୍ଧାର, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପରିକ୍ରମା ପଥ, ଚନ୍ଦନ ପୁଷ୍କରିଣୀର ପୁନଃରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ସହିତ ଚତୁପାର୍ଶ୍ବ ରାସ୍ତାର ଉନ୍ନତୀକରଣ, ଛାୟାପ୍ରଦ ବୃକ୍ଷ, ଉଦ୍ୟାନ,ପାର୍କିଂ, ମହାନଦୀର କୂଳ ସୁରକ୍ଷା ଓ ନଦୀପାର୍ଶ୍ବର ସୌନ୍ଦର୍ଯ୍ୟକରଣ ଆଦି ବିଷୟରେ ଗୁରୁତ୍ବ ଦିଆଯାଇଛି।

ମନ୍ଦିରକୁ ଯାଇଥିବା ତିଖା ପାହାଚ ଶ୍ରେଣୀର ପୁନରୁଦ୍ଧାର କରାଯାଇ ଭକ୍ତମାନେ ଯେପରି ସୁବିଧାରେ ଯାଇ ପାରିବେ ତଦନୁଯାୟୀ ବିକାଶ କରାଯିବ। ଏହା ସହିତ ପୂର୍ବ, ପଶ୍ଚିମ, ଉତ୍ତର, ଦକ୍ଷିଣ ଚାରି ଦ୍ବାରର ଉନ୍ନତୀକରଣ କରାଯିବ। ବୟସ୍କ ଓ ଭିନ୍ନକ୍ଷମମାନେ ଯେପରି ସୁବିଧାରେ ଦର୍ଶନ କରିପାରିବେ, ସେଥିପାଇଁ ପଶ୍ଚିମ ଦ୍ୱାରରେ ଲିଫ୍ଟ ଓ ସ୍କାଏ ବ୍ରିଜ୍ ସୁବିଧାର ବିକାଶ କରାଯିବ। ମନ୍ଦିର ପରିସର ଓ ଆଖପାଖ ଅଞ୍ଚଳରେ ଖଣ୍ଡାଲାଇଟ ପଥର ବିଛାଯିବା ସହିତ ମନ୍ଦିର ଓ ଠାକୁରଙ୍କ ବଗିଚାର ବିକାଶ କରାଯିବ। ଏହାସହିତ ରାସବିହାରୀ ମଣ୍ଡପ, ରଘୁନାଥ ମଠ ଓ ବାଟମଙ୍ଗଳା ମନ୍ଦିରର ମଧ୍ୟ ବିକାଶ କରାଯିବ।

ଯାତ୍ରୀମାନଙ୍କ ଜିନିଷପତ୍ର ରଖିବା ନିମନ୍ତେ ବ୍ୟବସ୍ଥା (Cloak Room) ଓ ପଦପ୍ରକ୍ଷାଳନ ବ୍ୟବସ୍ଥାର ମଧ୍ୟ ନିର୍ମାଣ କରାଯିବ। ମନ୍ଦିରକୁ ପ୍ରବେଶ ପାଇଁ ପୂର୍ବ ଓ ପଶ୍ଚିମ ପାର୍ଶ୍ବ ସଡ଼କର ପ୍ରଶସ୍ତିକରଣ କରାଯିବ। ପୂର୍ବ ପାର୍ଶ୍ବ ସଡ଼କକୁ ୯ ମିଟର ଓ ପଶ୍ଚିମ ପାର୍ଶ୍ବ ସଡକକୁ ୧୨ ମିଟର ପ୍ରଶସ୍ଥ କରାଯିବ।

ମହାନଦୀର କୁଲକ୍ଷୟରୁ ମନ୍ଦିରକୁ ସୁରକ୍ଷା ଯୋଗାଇବା ପାଇଁ ୪୦୦ ମିଟିର ସୁରକ୍ଷା କାନ୍ଥ ନିର୍ମାଣ କରାଯିବ। ଏହି ପ୍ରକଳ୍ପ ପାଇଁ ସମୁଦାୟ ଦୁଇ ଏକର ଜମି ଆବଶ୍ୟକ ପଡ଼ିବ। ଏଥି ନିମନ୍ତେ ଜିଲ୍ଲା ପ୍ରଶାସନ ପୁନର୍ବାସ ଓ ଥଇଥାନ ନୀତି ଅନୁଯାୟୀ ଜମି ଅଧିଗ୍ରହଣ କରିବେ। ପୂର୍ତ୍ତ ବିଭାଗ ଜରିଆରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ମହାନଦୀ କୁଲକ୍ଷୟ ରୋକିବା ପାଇଁ ସୁରକ୍ଷା କାନ୍ଥ ଜଳସମ୍ପଦ ବିଭାଗ ନିର୍ମାଣ କରିବ।
Published by:Lipina Das
First published: