News18 Odia Digital
କଟକ: ହାତୀଙ୍କ ସୁରକ୍ଷା ନେଇ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି। ତଥାପି ରାଜ୍ୟରେ ହାତୀଙ୍କ ମୃତ୍ୟୁ ଉପରେ ଲଗାମ ଲାଗି ପାରୁନାହିଁ। ଏହି ପ୍ରସଙ୍ଗକୁ ହାଇକୋର୍ଟ ଗୁରୁତର ସହ ନେଇଛନ୍ତି।
ଗୁରୁବାର ଦିନ ହାତୀ ସୁରକ୍ଷା ସମ୍ପର୍କିତ ମାମଲାର ଶୁଣାଣି କରି କୋର୍ଟ ,ସତ୍ୟପାଠ ମାଧ୍ୟମରେ ରିପୋର୍ଟ ଦାଖଲ କରିବାକୁ କ୍ରାଇମବ୍ରାଞ୍ଚ ଏଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ହାତୀ ମୃତ୍ୟୁ ଘଟଣାରେ କେତୋଟି ଫୌଜଦାରୀ ମାମଲା ରୁଜୁ କରାଯାଇଛି? କେତେ ଜଣଙ୍କୁ ଏହି ମାମଲାରେ ଗିରଫ କରାଯାଇଛି? ଗିରଫ ପରେ ମାମଲାର କଣ ଅଗ୍ରଗତି କରାଯାଇଛି? ସେନେଇ ସତ୍ୟପାଠ ମାଧ୍ୟମରେ କୋର୍ଟଙ୍କୁ ଅବଗତ କରିବେ କ୍ରାଇମବ୍ରାଞ୍ଚ ଏଡିଜି।
ସେହିପରି ଆସନ୍ତା ଶୁଣାଣି ସମୟରେ ଉପସ୍ଥିତ ରହିବାକୁ କ୍ରାଇମବ୍ରାଞ୍ଚ ଏଡିଜିଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଏହା ବ୍ୟତୀତ ରାଜ୍ୟ ସରକାର ଗଠନ କରିଥିବା JTF ବା ଜଏଣ୍ଟ ଟାକ୍ସଫୋର୍ସର ଅତିରିକ୍ତ ଏସପିଙ୍କୁ ସତ୍ୟପାଠ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ଅକ୍ଟୋବର ୧୯ ତାରିଖରେ ଅନୁଷ୍ଠତ ହୋଇଥିବା ଜଏଣ୍ଟ ଟାସ୍କଫୋର୍ସ ବୈଠକରେ କଣ କଣ ପଦକ୍ଷେପ ନିଆଯାଇଛି? ବିଶେଷକରି ହାତୀ ମୃତୁ ରୋକିବା ପାଇଁ କଣ କଣ ଆକ୍ସନ ପ୍ଲାନ କରାଯାଇଛି? ସେନେଇ ସତ୍ୟପାଠ ମାଧ୍ୟମରେ ଜଣାଇବାକୁ ମଧ୍ୟ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
କେବଳ ଏତିକି ନୁହେଁ,ବରଂ କମିଟିର ସମସ୍ତ ସଦସ୍ୟଙ୍କୁ ମଧ୍ୟ ଆସନ୍ତା ଶୁଣାଣି ସମୟରେ ଉପସ୍ଥିତ ରହିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ନଭେମ୍ବର ୧୧ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି କୋର୍ଟ। ପୂର୍ବ ଶୁଣାଣିରେ, ହାତୀ ସୁରକ୍ଷା ପାଇଁ ଡିସେମ୍ବର ସୁଦ୍ଧା ଚୂଡାନ୍ତ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯିବ ବୋଲି ରାଜ୍ୟ ସରକାର ସତ୍ୟପାଠ ମାଧ୍ୟମରେ କୋର୍ଟଙ୍କୁ ଅବଗତ କରିଥିଲେ।
ହାତୀ ଶିକାର ଘଟଣାରେ ସରକାରଙ୍କ ତରଫରୁ ଗ୍ରହଣ କରାଯାଉଥିବା ପଦକ୍ଷେପକୁ ନେଇ ହାଇକୋର୍ଟ ପୂର୍ବରୁ ଅସନ୍ତୋଷ ବ୍ୟକ୍ତ କରିଥିଲେ। ମାମଲାରେ ପ୍ରମୁଖ ମୁଖ୍ୟ ବନ ସଂରକ୍ଷକ (ପିସିସିଏଫ୍ ୱାଇଲ୍ଡ ଲାଇଫ୍) ଦାଖଲ କରିଥିବା ସତ୍ୟପାଠରେ ଗତ ୫ ବର୍ଷରେ ହାତୀ ଶିକାର ନେଇ ୧୪ଟି ମାମଲା ରୁଜୁ ହୋଇଥିବା ଦର୍ଶାଯାଇଥିଲା। ଏଥିରୁ ମାତ୍ର ଗୋଟିଏ ମାମଲାରେ ଅଦାଲତରେ ଟ୍ରାଏଲ ଆରମ୍ଭ ହୋଇଥିବା ସତ୍ୟପାଠରୁ ସ୍ପଷ୍ଟ ହୋଇଥିଲା। ଏହି ପ୍ରସଙ୍ଗକୁ ନେଇ ରୁଜୁ ମାମଲା ଗୁଡିକର ଅଗ୍ରଗତି ସନ୍ତୋଷଜନକ ନୁହେଁ ବୋଲି ହାଇକୋର୍ଟ ପୂର୍ବରୁ କହିଥିଲେ।
ସତ୍ୟପାଠରେ ଉଲ୍ଲେଖ କରାଯାଇଥିବା ଏହି ସବୁ ମାମଲାରେ ଗିରଫ ଅଭିଯୁକ୍ତମାନେ ଏବେ ଜେଲରେ ଅଛନ୍ତି ବା ଜାମିନ ପାଇଛନ୍ତି ସେ ନେଇ ହାଇକୋର୍ଟ ଜାଣିବାକୁ ଚାହିଁଥିଲେ। କିନ୍ତୁ ଅଭିଯୁକ୍ତଙ୍କ ଜାମିନ ପ୍ରସଙ୍ଗରେ ରାଜ୍ୟ ସରକାର ଜବାବ ରଖି ପାରି ନଥିଲେ।
ଏଥି ସହିତ ଗୁଳିମାଡ଼ରେ ହାତୀ ମୃତ୍ୟୁ ମାମଲାରେ ବେଆଇନ ବନ୍ଧୁକ ବ୍ୟବହାର ହେଉଥିଲେ ମଧ୍ୟ ଆର୍ମ୍ସ ଆକ୍ଟରେ କାହିଁକି ଗୋଟିଏ ବି ମାମଲା ରୁଜୁ ହୋଇ ନାହିଁ ସେ ନେଇ ମଧ୍ୟ ବନ ବିଭାଗ ତରଫରୁ କୌଣସି ସନ୍ତୋଷଜନକ ଜବାବ ମିଳି ନଥିଲା। ଏଭଳି ସ୍ଥିତିରେ ହାଇକୋର୍ଟ କହିଥିଲେ ଯେ ରାଜ୍ୟରେ ବିଗତ କିଛି ଦିନରେ ହାତୀ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ଚିନ୍ତାଜନକ ବିଷୟ। ପରିସ୍ଥିତିର ମୁକାବିଲା ପାଇଁ ପଦକ୍ଷେପ ନିଆଯିବା ଉଚିତ୍। ବହୁ କ୍ଷେତ୍ରରେ ବନ୍ଧୁକ ଗୁଳିରେ ହାତୀ ମୃତାହତ ହେଉଥିବା ଦେଖା ଯାଉଥିବା ବେଳେ ଆଶ୍ଚର୍ଯ୍ୟଜନକ ଭାବେ ଆର୍ମ୍ସ ଆକ୍ଟ କିନ୍ତୁ ମାମଲାରେ ପ୍ରୟୋଗ କରାଯାଉ ନାହିଁ ବୋଲି ହାଇକୋର୍ଟ କହିଥିଲେ। ବନ୍ୟପ୍ରାଣୀ ସୁରକ୍ଷା ଆଇନ ଏବଂ ଆର୍ମ୍ସ ଆକ୍ଟ ସମେତ ଅନ୍ୟ ଆଇନ କଡ଼ାକଡ଼ି କାର୍ଯ୍ୟକାରୀ ପାଇଁ ଆଇନ କାର୍ଯ୍ୟକାରୀ ବ୍ୟବସ୍ଥାକୁ ସକ୍ରିୟ କରିବାକୁ ଉଦ୍ୟମ କରାଯିବା ଆବଶ୍ୟକ।
ଅଗଷ୍ଟ ୬ରେ ପିସିସିଏଫଙ୍କ ପକ୍ଷରୁ ଦାଖଲ ସତ୍ୟପାଠରେ ଗଲା ୫ ବର୍ଷରେ ଆଠଗଡ, ଢେଙ୍କାନାଳ, ଦେବଗଡ, ସମ୍ବଲପୁର, ବୌଦ୍ଧ, ଘୁମୁସର (ଉତର) ଡିଭିଜନରେ ବେଆଇନ ହାତୀ ଶିକାର କରାଯାଇଥିବା ଦର୍ଶାଯାଇଥିଲା। ୨୦୧୮ରୁ ୨୦୨୨ ମଧ୍ୟରେ ୧୪ଟି ମାମଲା ରୁଜୁ କରାଯାଇ ୨୯ ଜଣଙ୍କୁ ଗିରଫ କରାଯାଇଛି ବୋଲି ଉଲ୍ଲେଖ କରାଯାଇଥିଲା। ଏଠାରେ ସୂଚନା ଯୋଗ୍ୟ ଯେ ଜୁଲାଇ ୨୫ରେ ହାଇକୋର୍ଟ ଏ ସମ୍ପର୍କିତ ମାମଲାର ଶୁଣାଣି କରି ପିସିସିଏଫଙ୍କୁ ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଗତ ୫ ବର୍ଷରେ ପ୍ରତ୍ୟେକ ହାତୀ ଶିକାର ଘଟଣାର ବିସ୍ତୃତ ବିବରଣୀ ସତ୍ୟପାଠରେ ଦେବା ପାଇଁ ହାଇକୋର୍ଟ କହିଥିଲେ। ହାତୀ ଶିକାର ଘଟଣାର ସ୍ଥାନ/ଅଞ୍ଚଳ, ଗ୍ରହଣ କରାଯାଇଥିବା ପଦକ୍ଷେପ ଯଥା ଏତଲା ପଞ୍ଜୀକରଣ, ସନ୍ଦିଗ୍ଧଙ୍କ ତାଲିକା, ଗିରଫ ଅଭିଯୁକ୍ତଙ୍କ ବିବରଣୀ, ଦାଖଲ କରାଯାଇଥିବା ଚାର୍ଜସିଟ, କେଉଁ ଅଦାଲତରେ ମାମଲା ବିଚାରାଧୀନ ରହିଛି, ଟ୍ରାଏଲର ଷ୍ଟାଟସ୍, ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ ହୋଇଥିବା ମାମଲା ସଂକ୍ରାନ୍ତରେ ତଥ୍ୟ ଦାଖଲ ପାଇଁ ହାଇକୋର୍ଟ କହିଥିଲେ। ୱାଇଲ୍ଡ ଲାଇଫ କ୍ରାଇମ ସେଲ୍ ପ୍ରସଙ୍ଗରେ ମଧ୍ୟ ତଥ୍ୟ ଦେବାକୁ ହାଇକୋର୍ଟ କହିଥିଲେ।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।