ବସ୍ତିବାସିନ୍ଦାଙ୍କୁ ମିଳିବ ଭୂମି ଅଧିକାର; ୫ଟି ମହାନଗର ନିଗମରେ ଡ୍ରୋନ ସର୍ଭେ ଆରମ୍ଭ

ଯେଉଁମାନେ ଆମ ସହରକୁ ଗଢନ୍ତି, ଦିନରାତି ସହରର ବିକାଶ ପାଇଁ କାମ କରନ୍ତି ଓ ସେବା କରନ୍ତି, ସେମାନଙ୍କ ପାଇଁ ଭଲ ଦିନ ଆସିଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ୫ଟି ମହାନଗର ନିଗମର ବସ୍ତିବାସିନ୍ଦା ମାନଙ୍କ ପାଇଁ ଭୂମି ଅଧିକାର କାର୍ଯ୍ୟକ୍ରମ ଆରମ୍ଭ କରି ଏହା କହିଛନ୍ତି ।

ବସ୍ତିବାସିନ୍ଦାଙ୍କୁ ମିଳିବ ଭୂମି ଅଧିକାର; ୫ଟି ମହାନଗର ନିଗମରେ ଡ୍ରୋନ ସର୍ଭେ ଆରମ୍ଭ

ବସ୍ତିବାସିନ୍ଦାଙ୍କୁ ମିଳିବ ଭୂମି ଅଧିକାର; ୫ଟି ମହାନଗର ନିଗମରେ ଡ୍ରୋନ ସର୍ଭେ ଆରମ୍ଭ

  • News18 Odia
  • Last Updated :
  • Bhubaneswar, India
  • Share this:
News 18 Odia Digital

ଭୁବନେଶ୍ୱର; ସହରର ବସ୍ତିବାସିନ୍ଦାମାନଙ୍କ ପାଇଁ ଆଜି ସୁଦିନ ଆସିଛି । ଯେଉଁମାନେ ଆମ ସହରକୁ ଗଢନ୍ତି, ଦିନରାତି ସହରର ବିକାଶ ପାଇଁ କାମ କରନ୍ତି ଓ ସେବା କରନ୍ତି, ସେମାନଙ୍କ ପାଇଁ ଭଲ ଦିନ ଆସିଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ୫ଟି ମହାନଗର ନିଗମର ବସ୍ତିବାସିନ୍ଦା ମାନଙ୍କ ପାଇଁ ଭୂମି ଅଧିକାର କାର୍ଯ୍ୟକ୍ରମ ଆରମ୍ଭ କରି ଏହା କହିଛନ୍ତି । ସ୍ଥାନୀୟ କିଟ୍ କନଭେନସନ ହଲରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି ବସ୍ତିବାସୀଙ୍କ ଉନ୍ନତି ପାଇଁ ଅନେକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି ।

୫ଟି ମହାନଗର ନିଗମରେ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ଦେବା ପାଇଁ ଡ୍ରୋନ ସର୍ବେକ୍ଷଣ ଆରମ୍ଭ ହୋଇଛି । ଏଥିପାଇଁ ଟାଟା ଷ୍ଟିଲ ଫାଉଣ୍ଡେସନ ବୈଷୟିକ ସହାୟତା ଯୋଗାଇ ଦେବ । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଟାଟା ଷ୍ଟିଲ ଫାଉଣ୍ଡେସନ ଓ ଜାଗା ମିଶନ ମଧ୍ୟରେ ଏହି କାର୍ଯ୍ୟକ୍ରମ ପାଇଁ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ୩୩ଟି ସହରାଞ୍ଚଳର ୭୦୭ଟି ବିଜୁ ଆଦର୍ଶ କଲୋନୀକୁ ଲୋକାର୍ପିତ କରିଥିଲେ । ହିଞ୍ଜିଳିକାଟୁ ଓ ଦିଗପହଣ୍ଡି ଆଜିଠାରୁ ସଂପୂର୍ଣ୍ଣ ବସ୍ତି ମୁକ୍ତ ସହର ହେବାର ନୂଆ ପରିଚୟ ପାଇଲା ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହା ବ୍ୟକ୍ତିଗତ ଭାବେ ତାଙ୍କ ପାଇଁ ବହୁତ ଖୁସିର ବିଷୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜମି ଅଧିକାର ସହିତ ବସ୍ତି ଅଞ୍ଚଳକୁ ମୌଳିକ ସୁବିଧା ଯୋଗାଇ ଦିଆଯାଇ ବିଜୁ ଆଦର୍ଶ କଲୋନୀ ଗଠନ କରାଯାଉଛି । ୨୦୨୩ ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ଏବଂ ସାରା ରାଜ୍ୟ ବସ୍ତିମୁକ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମର ଜାଗା ମିଶନ କାର୍ଯ୍ୟକ୍ରମ ସାରା ବିଶ୍ବରେ ସୁନାମ ପାଇଛି । ଭାରତ ସରକାର ମଧ୍ୟ ଏହି ନୂଆ ଚିନ୍ତାଧାରା ପାଇଁ ପୁରସ୍କାର ଦେଇଛନ୍ତି । ଏ ମିଶନର ଫୋକସ ହେଉଛି 'ପ୍ରଥମେ ଲୋକେ' । ଜାଗା ମିଶନରେ ଆଜି ପର୍ଯ୍ୟନ୍ତ ରାଜ୍ୟର ୧୦୫ଟି ସହରର ବସ୍ତି ଅଞ୍ଚଳର ୧ ଲକ୍ଷ ୭୦ ହଜାର ପରିବାରକୁ ଜମି ଅଧିକାର ଦିଆଯାଇଛି । ଡିସେମ୍ବର ୨୦୨୩ ସୁଦ୍ଧା ରାଜ୍ୟର ଅଢେଇ ଲକ୍ଷ ବସ୍ତି ପରିବାରକୁ ଭୂମି ଅଧିକାର ଦିଆଯିବ ବୋଲି ସେ ଘୋଷଣା କରିଥିଲେ । ନିଜର ଜାଗାଟିଏ ଓ ଘରଟିଏ ଥିଲେ, ଆମର ସ୍ବାଭିମାନ ବଢିଥାଏ । ଆମର ଏ ଅଭିଯାନ ସହରର ଗରିବ ଲୋକଙ୍କ ଜୀବନରେ ରୂପାନ୍ତର ଆଣିବ, ଏହା ତାଙ୍କର ଦୃଢ ବିଶ୍ବାସ ବୋଲି ସେ କହିଥିଲେ ।

ବସ୍ତିର ବିକାଶରେ ବସ୍ତି ଉନ୍ନୟନ ସଂଘ ଗୁଡିକର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ସଂଘ ଗୁଡିକୁ ଆମେ ସରକାରଙ୍କ ଚତୁର୍ଥ ସଂଘ ଭାବେ ମାନ୍ୟତା ଦେଇଛୁ ଏବଂ ସେମାନଙ୍କ ବିକାଶ ଓ ଶାସନତନ୍ତ୍ର ବ୍ୟବସ୍ଥାରେ ଭାଗୀଦାର ହେବାର ସୁଯୋଗ ଦେଇଛୁ । ବସ୍ତି ଉନ୍ନୟନ ସଂଘ ଗୁଡିକ ହିଁ ବିଜୁ ଆଦର୍ଶ କଲୋନୀର ପରିଚାଳନା କରିବେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ବସ୍ତି ବିକାଶ କାର୍ଯ୍ୟକ୍ରମ ସହରର ଗରିବ ଲୋକଙ୍କୁ ସମାନ ଅଧିକାର ଓ ନ୍ୟାୟ ପ୍ରଦାନ ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ରାଜ୍ୟର ୧୭ ଲକ୍ଷ ବସ୍ତି ବାସିନ୍ଦାଙ୍କ ଜୀବନରେ ଦୀର୍ଘସ୍ଥାୟୀ ଖୁସି ଆଣିବା ପାଇଁ ଆମର ଏହି ଆଧ୍ୟାତ୍ମିକ ଯାତ୍ରା ତାର ଭୂମିକା ଗ୍ରହଣ କରିଚାଲିବ ।
Published by:Soubhagya Mishra
First published: