News 18 Odia Digital
ଭୁବନେଶ୍ୱର; ନାଇଜର ଭୁବନେଶ୍ୱର ଠାରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ । ନୂଆଦିଲ୍ଲୀରେ କେନ୍ଦ୍ର ମନ୍ତ୍ରୀ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ରମନ୍ତ୍ରୀଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ୬୫୦ କୋଟି ବ୍ୟୟରେ ନାଇଜର ଠାରେ ପ୍ରତିଷ୍ଠା ହେବ କ୍ୟାନ୍ସର ହସ୍ପିଟାଲ । ଜୁଲାଇ ୨୬ ଭୁବନେଶ୍ୱର ନାଇଜର କ୍ୟାମ୍ପସ ଠାରେ ଭାରତ ସରକାରଙ୍କ ଆଟୋମିକ୍ ଏନର୍ଜି ଡିପାର୍ଟମେଣ୍ଟ ଓ ଟାଟା ଟ୍ରଷ୍ଟ ସହଯୋଗରେ ଏକ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ନିର୍ମାଣ କରାଯିବ । ଏନେଇ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଉଛନ୍ତି ।
ନୂଆଦିଲ୍ଲୀରେ ହୋଇଥିବା ଏହି ବୈଠକରେ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ର ମନ୍ତ୍ରୀ ଡା. ଜିତେନ୍ଦ୍ର ସିଂହଙ୍କ ସମେତ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ଟାଟା ମେମୋରିଆଲ ସେଣ୍ଟରର ଅଧିକାରୀ, ଶିକ୍ଷା ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଓ ଆଟୋମିକ ଏନର୍ଜି ବିଭାଗର ବରିଷ୍ଠ ଅଧିକାରୀ ମାନେ ପ୍ରମୁଖ ଉପସ୍ଥିତ ଥିଲେ ।
ଏହି ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ନିର୍ମାଣ ପାଇଁ କେନ୍ଦ୍ର ସରକାର ୪୦୦ କୋଟି ଏବଂ ଟାଟା ଟ୍ରଷ୍ଟ ୨୫୦ କୋଟି ଦେବ । ଏଥିପାଇଁ ନାଇଜର ୧୭ ଏକର ପରିମିତ ଜମି ପ୍ରଦାନ କରି ସାରିଥିବା ବେଳେ ଅତିରିକ୍ତ ୧୦ ଏକର ପରିମିତ ଜମି ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଯୋଗାଇ ଦେବ । ଆଗାମୀ ୩ ବର୍ଷ ମଧ୍ୟରେ କ୍ୟାନସର ହସ୍ପିଟାଲର ନିର୍ମାଣ ଶେଷ ନେଇ ଲକ୍ଷ୍ୟ ରହିଛି । କ୍ୟାମ୍ପସରେ କର୍ମଚାରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର ଖୋଲାଯିବ । ଏଥତ୍ପାଇଁ ପ୍ରଧାନମନ୍ତ୍ରୀ ଓ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।
ହସ୍ପିଟାଲ ନିର୍ମାଣ ସହିତ କ୍ୟାମ୍ପସ ପରିସରରେ କର୍ମଚାରୀଙ୍କ ପାଇଁ ବାସଗୃହ, ଧର୍ମଶାଳା, ହଷ୍ଟେଲ ନିର୍ମାଣ କରାଯିବ । ସେହିପରି କ୍ୟାନସର ହସ୍ପିଟାଲରେ ନିଯୁକ୍ତ ହେବାକୁ ଥିବା ମେଡ଼ିକାଲ କର୍ମଚାରୀମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ବିଭାଗୀୟ ମନ୍ତ୍ରଣାଳୟ ତରଫରୁ ଏକ ‘ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର’ ଖୋଲାଯିବ ।
Published by:Soubhagya Mishra
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।