ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ହେଲା ସମ୍ବଲପୁର; ବିଭିନ୍ନ ପ୍ରକଳ୍ପ ଆରମ୍ଭ କରିଛନ୍ତି CM ନବୀନ

ମୁଖ୍ୟ ମନ୍ତ୍ରୀ ଓଡ଼ିଶାର ବିକାଶରେ ସମ୍ବଲପୁରର ଅବଦାନ ବିଷୟରେ ଆଲୋକପାତ କରି କହିଥିଲେ ଯେ ରାଜ୍ୟର ସଂସ୍କୃତି, ରାଜନୀତି, ଶିକ୍ଷା, ଇତିହାସ, ଅର୍ଥନୀତି ସବୁକ୍ଷେତ୍ରରେ ସମ୍ବଲପୁରର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ସମ୍ବଲପୁରୀ ଶାଢ଼ୀ, ସମ୍ବଲପୁରୀ ଗୀତ ଓଡ଼ିଶାର ମହାନ ସଂସ୍କୃତିର ପରିଚୟ ।

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ହେଲା ସମ୍ବଲପୁର

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ହେଲା ସମ୍ବଲପୁର

  • Share this:
News18 Odia Digital

ସମ୍ବଲପୁର: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ହେଲା ସମ୍ବଲପୁର । ସମ୍ବଲପୁରରେ ୧,୫୫୩ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ କରିଛନ୍ତି ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ । ମଙ୍ଗଳବାର କୁଚିଣ୍ଡାରେ ସମ୍ବଲପୁର ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିଥିଲେ। ଜିଲ୍ଲାର ୭ ଲକ୍ଷ ୭୩ ହଜାର ଲୋକ ଏହି ସୁବିଧା ପାଇବେ । କୁଚିଣ୍ଡାର ସରସ୍ବତୀ ଭୋଇ ଜିଲ୍ଲାର ପ୍ରଥମ ହିତାଧିକାରୀ ଭାବରେ ମୁଖ୍ୟ ମନ୍ତ୍ରୀଙ୍କ ଠାରୁ କାର୍ଡ଼ ଗ୍ରହଣ କରିଥିଲେ। ସମ୍ବଲପୁର ସହିତ ରାଜ୍ୟର ୮ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲା।

ଏହି ଅବସରରେ ଜନସାଧାରଣଙ୍କୁ ସମ୍ବୋଧନ ଜଣାଇ ମୁଖ୍ୟ ମନ୍ତ୍ରୀ ଓଡ଼ିଶାର ବିକାଶରେ ସମ୍ବଲପୁରର ଅବଦାନ ବିଷୟରେ ଆଲୋକପାତ କରି କହିଥିଲେ ଯେ ରାଜ୍ୟର ସଂସ୍କୃତି, ରାଜନୀତି, ଶିକ୍ଷା, ଇତିହାସ, ଅର୍ଥନୀତି ସବୁକ୍ଷେତ୍ରରେ ସମ୍ବଲପୁରର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ସମ୍ବଲପୁରୀ ଶାଢ଼ୀ, ସମ୍ବଲପୁରୀ ଗୀତ ଓଡ଼ିଶାର ମହାନ ସଂସ୍କୃତିର ପରିଚୟ ।

ମୁଖ୍ୟ ମନ୍ତ୍ରୀ ଆହୁରି କହିଥିଲେ ଯେ ମା' ସମଲେଇଙ୍କ ଆଶୀର୍ବାଦ ପାଇଁ ଲକ୍ଷ ଲକ୍ଷ ଭକ୍ତ ମା’ଙ୍କ ପୀଠକୁ ଆସୁଛନ୍ତି। ତେଣୁ ଏ ପୀଠର ବିକାଶ ପାଇଁ ସରକାରଙ୍କ ଉଦ୍ୟମରେ ମୁଖ୍ୟ ମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ।

ସମ୍ବଲପୁରରେ ବିଭିନ୍ନ ପ୍ରକଳ୍ପ ଆରମ୍ଭ କରିଛନ୍ତି CM ନବୀନ


ମୁଖ୍ୟମନ୍ତ୍ରୀ କହିଥିଲେ, ‘‘ସ୍ମାର୍ଟ ହେଲ୍ଥ କାର୍ଡ଼ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢ଼େ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ ।’’

ଲୋକେ ସ୍ବାସ୍ଥ୍ୟ ସମସ୍ୟାରେ ପଡ଼ିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢ଼ା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟ ମନ୍ତ୍ରୀ କହିଥିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକେ ବିନା କୌଣସି ଅସୁବିଧାରେ କାର୍ଡ଼ ଖଣ୍ଡିଏ ଧରି ଦେଶର ୨୦୦ ବଡ଼ ବଡ଼ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥି ପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡ଼ିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍ସା ବାଲା ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ । ଓଡ଼ିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

ଏହି ଅବସରରେ ସଡ଼କ ଦୁର୍ଘଟଣାରେ ବହୁ ଲୋକଙ୍କର ମୃତ୍ୟୁ ହେଉଥିବା ସମ୍ପର୍କରେ ଚିନ୍ତା ପ୍ରକଟ କରି ମୁଖ୍ୟ ମନ୍ତ୍ରୀ କହିଥିଲେ ଯେ ଏ କ୍ଷେତ୍ରରେ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦିଆଯାଇ ପାରିଲେ, ଅନେକ ମୂଲ୍ୟବନ ଜୀବନ ବଞ୍ଚାଇ ହେବ । ଆହତ ଲୋକଙ୍କୁ ତୁରନ୍ତ ଚିକିତ୍ସା ପାଇଁ ରାଜ୍ୟ ସରକାର ୧୪୭ କୋଟି ଟଙ୍କାର ଏକ ପାଣ୍ଠି ଗଠନ କରିଛନ୍ତି ବୋଲି ମୁଖ୍ୟ ମନ୍ତ୍ରୀ ଘୋଷଣା କରିଥିଲେ । ଦୁର୍ଘଟଣା କ୍ଷେତ୍ରରେ ପ୍ରଥମ ୪୮ ଘଣ୍ଟା ମଧ୍ୟରେ ଚିକିତ୍ସା ଯୋଗାଇ ଦେବା ଅତି ଜରୁରୀ । ଏହି ପାଣ୍ଠି ଜରିଆରେ ଦୁର୍ଘଟଣାର ପ୍ରଥମ ୪୮ ଘଣ୍ଟା ମଧ୍ୟରେ ସମସ୍ତ ଚିକିତ୍ସା ଖର୍ଚ୍ଚ ଏହି ପାଣ୍ଠିରୁ ବହନ କରାଯିବ।

ମୁଖ୍ୟ ମନ୍ତ୍ରୀ ସମ୍ବଲପୁରରେ ୧,୫୫୩ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଆରମ୍ଭ କରିଥିଲେ ଓ ଏଥିରୁ ୩୫୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିଲା। ମୁଖ୍ୟ ମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ଭଲ ପିଇବା ପାଣି ଉପରେ ଗୁରୁତ୍ବ ଦେଉଛନ୍ତି । ସମ୍ବଲପୁରରେ ପିଇବା ପାଣି ପାଇଁ ୧୦୦୦ କୋଟି ଟଙ୍କା ଯୋଗାଇ ଦିଆଯାଇଛି । ଗାଁ ଓ ସହର ସବୁ ପରିବାର ପାଖରେ ପିଇବା ପାଣି ପହଞ୍ଚିପାରିବ । କୁଚିଣ୍ଡା ଓ ରେଢାଖୋଲ ଏନ୍‌.ଏ.ସି.ର ସବୁ ଘରକୁ ପାଇପ ପାଣି ଯୋଗାଇ ଦିଆଯାଇଛି । ୨୦୨୨ରେ ସମ୍ବଲପୁର ଜିଲ୍ଲାର ପ୍ରତି ଘରକୁ ପାଇପ ପାଣି ଯୋଗାଇ ଦିଆଯିବ ବୋଲି ମୁଖ୍ୟ ମନ୍ତ୍ରୀ ଘୋଷଣା କରିଥିଲେ ।

ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ, ସରକାରୀ ଦଳର ଉପମୁଖ୍ୟ ସଚେତକ ରୋହିତ ପୂଜାରୀ ପ୍ରମୁଖ ଯୋଗ ଦେଇଥିଲେ । ଏହା ସହ ବିଭିନ୍ନ କ୍ଷେତ୍ରରେ ରାଜ୍ୟର ଉନ୍ନତି ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ପ୍ରତିବଦ୍ଧତାର ଉଚ୍ଚ ପ୍ରଶଂସା କରିଥିଲେ । BSKY Smart Card ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଯୋଗାଇ ଦେବା ପାଇଁ ଏକ ଐତିହାସିକ ପଦକ୍ଷେପ ବୋଲି ସେମାନେ ବର୍ଣ୍ଣନା କରିଥିଲେ । ମୁଖ୍ୟ ମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ବ ଯୋଗୁ ଓଡ଼ିଶାରେ ଆଜି ଗରିବ ଲୋକ ନିଜକୁ ସୁରକ୍ଷିତ ମନେ କରୁଛି। ଗରିବ ଲୋକଙ୍କୁ ବିଭିନ୍ନ ଯୋଜନାରେ ଦିଆଯାଉଥିବା ସାମାଜିକ ଓ ଅର୍ଥିକ ସୁରକ୍ଷା ସେମାନଙ୍କୁ ସଶକ୍ତ କରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।
Published by:Lipina Das
First published: