News 18 Odia Digital
ପୁରୀ; ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ବା ଜନ୍ମାଷ୍ଟମୀ । ଏହି ତିଥିରେ ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ । ସେଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ସଂନ୍ଧ୍ୟା ଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ ।

ଗତକାଲି ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଡ ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିଲା । ଆଜି ମହାଜନ ସେବକଙ୍କ ଦ୍ଵାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ । ଦେବକୀ ଓ ବସୁଦେବ ବେଶରେ ଜନ୍ମ ଚକଡାରେ ନିଶାର୍ଦ୍ଧରେ ପ୍ରଭୁ କୃଷ୍ଣ ଜନ୍ମ ନେବେ । ସେଥିପାଇଁ ଆଜି ସନ୍ଧ୍ୟା ୭ ଟାରୁ ରାତ୍ର ୧୧ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଅନ୍ୟପକ୍ଷରେ ଶ୍ରୀମନ୍ଦିର ସହ ଜଡ଼ିତ ବିଭିନ୍ନ ମଠବାଡି ମାନଙ୍କରେ ଆଜି ରାତିରେ ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ।
ଆଜିଠାରୁ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆରମ୍ଭ ହୋଇ କଂସ ବଦ୍ଧ ପର୍ଯ୍ୟନ୍ତ ଶ୍ରୀକୃଷ୍ଣ ଲୀଳା ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ । ସଂନ୍ଧ୍ୟାଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଭଣ୍ତାର ଘର ସମ୍ମୁଖ ଭାଗରେ ପୂଜାପଣ୍ତା ସେବାୟତ ମାନେ ପଞ୍ଚବର୍ଣ୍ଣ ମୁରୁଜରେ ଜନ୍ମମଣ୍ତଳୀ ଅଙ୍କନ କରିବେ । ସେଠାରେ ସୁନାର କୃଷ୍ଣ ମୁର୍ତ୍ତି ରଖାଯାଇ ଦକ୍ଷିଣ ଘରୁ ମଦନମୋହନଙ୍କୁ ଅଣାଯିବ । ଦୁଇଜଣ ମହାଜନ ସେବକ ଦେବକୀ ଓ ବସୁଦେବ ଚରିତ୍ର ହୋଇ ଏହି ଜନ୍ମନୀତି ପାଳନ କରିବେ । ପରେ ମଦନମୋହନଙ୍କୁ ନାଭିକଟା ମଣ୍ତପକୁ ନିଆଯାଇ କୃଷ୍ଣଜନ୍ମ ଠାରୁ ଉପନୟନ ପର୍ଯ୍ୟନ୍ତ ନୀତି ଅନୁଷ୍ଠିତ ହେବ । ସେହିପରି ଜଗମୋହନ ନିକଟରେ ଏକ ଦୋଳିରେ ମଦନମୋହନଙ୍କୁ ରଖାଯାଇ ଶ୍ରୀକୃଷ୍ଣ ଜନ୍ମନୀତି ଶେଷ କରାଯିବ ।
Published by:Soubhagya Mishra
First published:
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।