News18 Odia Digital
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶ ମାର୍ଗରୁ ୫ ଟି ଜିଲ୍ଲାର ସ୍ଥିତି ସମୀକ୍ଷା କରିଛନ୍ତି। ବନ୍ୟାଞ୍ଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି। ପାଣି ଛାଡିବାର ସାତଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
ପାଣି ଛାଡିବାର ସାତ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରିବା ଓ ତାର ୧୫ ଦିନ ଭିତରେ ଘରଭଙ୍ଗା ଓ ଫସଲ କ୍ଷତି ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ, ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।
କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ମୁଖ୍ୟମନ୍ତ୍ରୀ ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ । ବନ୍ୟାରେ ବ୍ୟାପକ ଅଞ୍ଚଳ, ଜଳମଗ୍ନ ହେଵା ସହିତ ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି ।
ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା ରିଲିଫ୍ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜ଼ିଲ୍ଲାର ଯେଉଁ ଗାଁ ମାନଙ୍କରେ ପାଣି ପଶିଛି ସେଠାରେ ବିପନ୍ନ ଲୋକ ମାନଙ୍କୁ ୧୫ଦିନ ରିଲିଫ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜ଼ିଲ୍ଲା ର ପାଣି ପଶିଥିବା ଗାଁର ଲୋକମାନଙ୍କୁ ସାତ ଦିନ ପାଇଁ ରିଲିଫ ଦିଆଯିବ।
ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ସଚିବ 5T ଭି କେ ପାଣ୍ଡିଆନ ମଧ୍ୟ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିଲେ।
ନ୍ୟୁଜ୍ ୧୮ ଓଡ଼ିଆରେ ବ୍ରେକିଙ୍ଗ୍ ନ୍ୟୁଜ୍ ପଢ଼ିବାରେ ପ୍ରଥମ ହୁଅନ୍ତୁ| ଆଜିର ସର୍ବଶେଷ ଖବର, ଲାଇଭ୍ ନ୍ୟୁଜ୍ ଅପଡେଟ୍, ନ୍ୟୁଜ୍ ୧୮ ଓଡ଼ିଆ ୱେବସାଇଟରେ ସବୁଠାରୁ ନିର୍ଭରଯୋଗ୍ୟ ଓଡ଼ିଆ ଖବର ପଢ଼ନ୍ତୁ ।